ଭୁବନେଶ୍ୱର( ଦ କୁଇଭର ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଆକାଶ ମାର୍ଗରୁ ବାଲେଶ୍ୱର, ଭଦ୍ରକ ଓ ଯାଜପୁରର ବନ୍ୟା ପରିସ୍ଥିତି ଅନୁଧ୍ୟାନ କରିଛନ୍ତି । ଅନୁଧ୍ୟାନ ପରେ ମୁଖ୍ୟମନ୍ତ୍ରୀ ବନ୍ୟା ସ୍ଥିତିର ସମୀକ୍ଷା କରିଛନ୍ତି । ଚଳିତ ବନ୍ୟାରେ ୩ ଜିଲ୍ଲାର ୮ଟି ବ୍ଲକ, ୮୧ଟି ଗାଁ, ୩୦ ହଜାରରୁ ଅଧିକ ଲୋକ ପ୍ରଭାବିତ ହୋଇଛନ୍ତି । ୫୮୬୯ ଜଣଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରିଛି ପ୍ରଶାସନ । ବନ୍ୟାଞ୍ଚଳରେ ଫସି ରହିଥିବା ପ୍ରାୟ ୧୦ ହଜାର ଲୋକଙ୍କୁ ରନ୍ଧା ଖାଦ୍ୟ ଯୋଗାଇ ଦିଆଯାଉଛି । ଏଥିପାଇଁ ୩ଟି ଜିଲ୍ଲାରେ ୨୯ଟି ଫ୍ରି କିଚେନ ବ୍ୟବସ୍ଥା କରାଯାଇଛି । ଆଗାମୀ ୭ ଦିନ ପର୍ଯ୍ୟନ୍ତ ରନ୍ଧା ଖାଦ୍ୟ ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । କ୍ଷୟକ୍ଷତି ରିପୋର୍ଟ ଶୀଘ୍ର ପ୍ରଦାନ କରିବାକୁ ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ରିପୋର୍ଟ ପରେ ସହାୟତା ପ୍ରଦାନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି । ବନ୍ୟା ପରିସ୍ଥିତି ଅନୁଧ୍ୟାନ ପରେ ମୁଖ୍ୟମନ୍ତ୍ରୀ କହିଛନ୍ତି, "ଚଳିତ ବନ୍ୟା ଦ୍ୱାରା ୩ଟି ଜିଲ୍ଲାର ୮ଟି ବ୍ଲକର ୮୧ଟି ଗାଁ ପ୍ରଭାବିତ ହୋଇଛି । ବାଲେଶ୍ୱର ଜିଲ୍ଲାର ୪ଟି ବ୍ଲକ ବସ୍ତା, ବାଲିଆପାଳ, ଭୋଗରାଇ ଓ ଜଳେଶ୍ୱର ବନ୍ୟା ଦ୍ୱାରା ପ୍ରଭାବିତ ହୋଇଛି । ଭଦ୍ରକ ଜିଲ୍ଲାର ଧାମନଗର ଓ ଭଣ୍ଡାରୀପୋଖରୀ ଏବଂ ଯାଜପୁର ଜିଲ୍ଲାର ଯାଜପୁର ଓ ଦଶରଥପୁର ବ୍ଲକ ପ୍ରଭାବିତ ହୋଇଛି । ଚଳିତ ବନ୍ୟା ଦ୍ୱାରା ୩ଟି ଜିଲ୍ଲାର ୮୧ ଗାଁ'ର ପ୍ରାୟ ୩୦ ହଜାର ଲୋକ ପ୍ରଭାବିତ ହୋଇଛନ୍ତି । ବନ୍ୟା ପ୍ରଭାବିତ ଜିଲ୍ଲାର ୫୮୬୯ ଜଣଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇଛି ।"